ପୁରୀ କୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ଼ ଘୋଷଣା

Talk Always Truth

ମୁଖ୍ୟମନ୍ତ୍ରୀ କହିଲେ ପୁରୀ ସହର ହେବ ମହାନଗର ନିଗମ । ଭୁବନେଶ୍ୱରର ଲୋକସେବା ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ଏବେ ପବିତ୍ର ପୁରୀ ସହରରେ ମହାପ୍ରଭୁଙ୍କ ଘୋଷଯାତ୍ରା ଜାରି ରହିଛି। ବାହୁଡ଼ା ଯାତ୍ରା ପାଇଁ ମହାପ୍ରଭୁ ଆଜ୍ଞା ଦେଇସାରିଛନ୍ତି। ଏହି ଯାତ୍ରାକୁ ସୂଚାରୁ ରୂପେ ଏବଂ ସୁରକ୍ଷିତ ଢଙ୍ଗରେ ସଂପୂର୍ଣ୍ଣ କରିବା ପାଇଁ ଠାକୁରଙ୍କ ନିର୍ଦ୍ଦେଶରେ ସମସ୍ତେ ନିଜ ନିଜ ସେବା ପ୍ରଦାନ କରୁଛନ୍ତି।

ଏବେ ପୁରୀ ଜଗନ୍ନାଥ ଧାମ ସାରା ଭାରତର ସବୁ ଧର୍ମସ୍ଥଳୀ ଠାରୁ ଅନନ୍ୟ ହେବ । ଏଠାରେ ଭକ୍ତ ଜାତି, ଧର୍ମ, ବର୍ଣ୍ଣ, ସମ୍ପ୍ରଦାୟ ନିର୍ବିଶେଷରେ ସମସ୍ତେ ଏକାକାର ହୋଇ ଯାଆନ୍ତି। ନବଦିନ ବ୍ୟାପ୍ତ ଏହି ପବିତ୍ର ଯାତ୍ରା ସମୟରେ ବଡଦାଣ୍ଡରେ ଚାଲୁଥିବା ସବୁ ଭକ୍ତ ଜଣେ ଜଣେ ଦାସିଆ । ମୁଁ ବି ଏହି ଅସଂଖ୍ୟ ଜଗନ୍ନାଥ ଭକ୍ତଙ୍କ ମଧ୍ୟରୁ ଜଣେ ସାଧାରଣ ଭକ୍ତ।

ରାଜ୍ୟର ମୁଖ୍ୟ ସେବକ ଭାବେ ରାଜ୍ୟବାସୀ ଯେଉଁ ଗୁରୁ ଦାୟିତ୍ଵ ମୋତେ ଅର୍ପଣ କରିଛନ୍ତି, ସେଥି ମଧ୍ୟରୁ, ପୁରୀକୁ ଆସୁଥିବା ଲକ୍ଷ ଲକ୍ଷ ଭକ୍ତଙ୍କ ସହିତ ପୁରୀବାସୀଙ୍କୁ ଗୁଣାତ୍ମକ ମୌଳିକ ସୁବିଧା ପ୍ରଦାନ କରିବା। ମୁଁ ବ୍ୟକ୍ତିଗତ ଭାବେ ପୂର୍ବରୁ ଅନୁଭବ କରିଛି ଯେ କୌଣସି କାରଣରୁ ବର୍ତ୍ତମାନର ପୁରୀ ପୌରପାଳିକା ଉଭୟ ଭକ୍ତ ଏବଂ ସହରବାସୀଙ୍କ ଆଶା ଆକାଂକ୍ଷାକୁ ପୂରଣ କରିବାରେ ସମର୍ଥ ହୋଇନାହିଁ।

ଏହି ଲକ୍ଷ୍ୟ ହାସଲ କରିବା ପାଇଁ ସ୍ଥାନୀୟ ସ୍ଵାୟତ୍ତ ଶାସନ ପଦ୍ଧତିରେ ସଂସ୍କାର ଆଣିବାକୁ ପଡ଼ିବ। ବିଭିନ୍ନ ବିକାଶମୂଳକ କାର୍ଯ୍ୟକୁ ତଦାରଖ, ପୁନର୍ବିନ୍ୟାସ ଏବଂ ରକ୍ଷଣାବେକ୍ଷଣ କରିବା ପାଇଁ ନୂତନ ଢାଞ୍ଚାର ଆବଶ୍ୟକତା ରହିଛି। କ୍ରମ ବର୍ଦ୍ଧିଷ୍ଣୁ ଜନସଂଖ୍ୟା ସହିତ ବର୍ଷସାରା ସହରକୁ ଆସୁଥିବା ଭକ୍ତ ଏବଂ ପର୍ଯ୍ୟଟକଙ୍କୁ ଗୁଣାତ୍ମକ ସୁବିଧା ଯୋଗାଇବା ପାଇଁ ଆମ ସରକାର ପୁରୀ ପୌରପାଳିକାକୁ ମହାନଗର ନିଗମରେ ପରିଣତ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ପୁରୀ ସହର ଏବଂ ଆଖପାଖ ଅବସ୍ଥିତ ଗ୍ରାମ ପଞ୍ଚାଯତକୁ ସାମିଲ କରି ପୁରୀ ମହାନଗର ନିଗମ ଗଠିତ ହେବ। ଏହା ଦ୍ଵାରା ପୁରୀ ସଦର ଏବଂ ବ୍ରହ୍ମଗିରି ବ୍ଲକର ପ୍ରାୟ ସାତରୁ ଆଠଗୋଟି ଗ୍ରାମ ପଞ୍ଚାୟତକୁ ସାମିଲ କରାଯିବ, ଯାହା ଫଳରେ ଏହି ପଞ୍ଚାୟତବାସୀ ସହର ପରି ସୁବିଧା ପାଇ ପାରିବେ। ଆସନ୍ତା କାଲି ଠାରୁ ଏହ ସମ୍ବନ୍ଧୀୟ ସମସ୍ତ ପ୍ରକ୍ରିୟା ଆରମ୍ଭ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Talk Always Truth

Leave a Reply

Your email address will not be published. Required fields are marked *

You cannot copy content of this page